22
ଇଲୀଫସ୍‍-ଆୟୁବର ଦୁଷ୍ଟତା ଅଧିକ
ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
“ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ?
ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।
ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ?
ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?
ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି
ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?
ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ?
ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।
ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ
ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।
ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ
ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।
ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା
ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।
ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ
ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।
10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି
ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।
11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର
ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।
12 ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି?
ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!
13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି?
ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?
14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ
ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’
15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି,
ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ?
16 ସେମାନେ ଅକାଳରେ ଛିଣ୍ଡାଗଲେ,
ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା; 17 ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’
ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’
18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ;
ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।
19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି
ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,
20 ‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି
ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।’
21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ;
ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର
ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।
23 ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ,
ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ,
ତେବେ ତୁମ୍ଭେ ଦୃଢ଼ କରାଯିବ।
24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ
ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;
25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ
ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।
26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ
ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।
27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ
ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ;
ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।
29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ*
କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।
30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ;
ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”
* 22:29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଏବ୍ରୀ ଭାଷାରେ ଏହା ସ୍ପଷ୍ଟ ନୁହେଁ।