29
ଆୟୁବଙ୍କ ଶେଷ ଅଭିଯୋଗ
ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି,
ସେପରି ଯେବେ ଥାʼନ୍ତି;
ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା
ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
ମୁଁ ଉତ୍ତମ ଅବସ୍ଥାରେ ଥିଲି,
ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ
ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;
ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା
ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।
ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ
ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।
ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ
ଓ ଆପଣା ଆପଣା ମୁଖରେ ହାତ ଦେଲେ;
10 କୁଳୀନମାନଙ୍କ ରବ ନିରସ୍ତ ହେଲା
ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।
11 କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା
ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;
12 ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ,
ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
13 ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା
ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
14 ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା;
ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।
15 ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ
ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।
16 ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି
ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।
17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି
ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।
18 ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି
ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
19 ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି
ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
20 ମୋହର ଗୌରବ ମୋʼ ଠାରେ ସତେଜ ଥାଏ
ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ।
21 ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ
ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।
22 ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ;
ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।
23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ
ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।
24 ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ
ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ।
25 ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି
ଓ ସୈନ୍ୟଦଳ ମଧ୍ୟରେ ରାଜା ପରି
ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।